ଆମ ଓଡ଼ିଶା ନବୀନ ଓଡ଼ଶା କାର୍ଯ୍ୟକ୍ରମର ଶୁଭାରମ୍ଭ, ରାଜ୍ୟବ୍ୟାପି ଖର୍ଚ୍ଚ ହେବ ୩୩୯୭ କୋଟି ଟଙ୍କା

ଭୁବନେଶ୍ଵର : ନୂଆ ଓଡ଼ିଶା ସଶକ୍ତ ଓଡ଼ିଶା ଗଠନର ଭିତ୍ତିଭୂମିକୁ ସୁଦୃଢ କରିବା ପାଇଁ ଆଜିଠାରୁ ଆରମ୍ଭ ହେଲା ରାଜ୍ୟ ସରକାରଙ୍କର ମହତ୍ଵକାଂକ୍ଷୀ ଯୋଜନା ‘ଆମ ଓଡ଼ିଶା ନବୀନ ଓଡ଼ିଶା’। ଏହି କାର୍ଯ୍ୟକ୍ରମର ଫୋକସ୍‌ ହେବ ପ୍ରତି ପଞ୍ଚାୟତ, ପ୍ରତି ଗାଁ। ଆଜି ଭୁବନେଶ୍ଵରରୁ ଆଭାସୀ ଯୋଗେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ପ୍ରଥମ ଦିନରେ କେନ୍ଦୁଝର ଓ ଭଦ୍ରକ ଜିଲ୍ଲାରେ ଏହି ଯୋଜନାର ଶୁଭାରମ୍ଭ କରିଛନ୍ତି। ସାରା ରାଜ୍ୟରେ ଆମ ଓଡ଼ିଶା ନବୀନ ଓଡ଼ିଶା କାର୍ଯ୍ୟକ୍ରମ ପାଇଁ ୩୩୯୭ କୋଟି ଟଙ୍କା ଖର୍ଚ୍ଚ ହେବ। ସାମିଲ ହେବେ ରାଜ୍ୟର ୬୭୯୪ଟି ପଞ୍ଚାୟତ। ସାରା ରାଜ୍ୟରେ କାର୍ଯ୍ୟକାରୀ ହେବ ୯୦୭୨୩ଟି ପ୍ରକଳ୍ପ। ପ୍ରତି ଗାଁ ପାଇବେ ୧୦ ଲକ୍ଷ ଟଙ୍କା।

ଏହି କାର୍ଯ୍ୟକ୍ରମରେ ପ୍ରତି ଗାଁରେ ଜଗନ୍ନାଥ ସଂସ୍କୃତି, ଓଡ଼ିଶାର ସଂସ୍କୃତିର ମୂଳ ଭିତ୍ତିକୁ ସୁଦୃଢ କରାଯିବା ସହିତ ଡିଜିଟାଲ ଭିତ୍ତିଭୂମିର ବିକାଶ କରାଯିବ। ଏକ ଆକାଂକ୍ଷୀ ଓଡ଼ିଶା ଗଠନ ପାଇଁ ଏହା ହେବ ମୂଳ ଭିତ୍ତି। ଆମର ସୁଦୃଢ ସାଂସ୍କୃତିକ ଭିତ୍ତିଭୂମିରୁ ଆଧୁନିକ ବୈଷୟିକ ଜ୍ଞାନର ବିସ୍ତୃତ ଦିଗ୍‌ବଳୟକୁ ଛୁଇଁବା ନିମନ୍ତେ ନୂଆ ଓଡ଼ିଶା ତାର ଡେଣାକୁ ପ୍ରସାରିତ କରିବ ଏବଂ ଗଢ଼ିବ ଆମ ଓଡ଼ିଶା ନବୀନ ଓଡ଼ିଶା।
ଏହି ଅବସରରେ ଉଦ୍‌ବୋଧନ ଦେଇ ମୁଖ୍ୟମନ୍ତ୍ରୀ ଶ୍ରୀ ପଟ୍ଟନାୟକ କହିଥିଲେ ଯେ ଓଡିଶା ହେଉଛି ଜଗନ୍ନାଥଙ୍କ ଭୂମି। ବିଶ୍ଵ ପ୍ରେମ, ଶାନ୍ତି, ସଦ୍‌ଭାବ, ସମାନତା ଓ ସେବା ହେଉଛି ଜଗନ୍ନାଥ ସଂସ୍କୃତିର ବାର୍ତ୍ତା। ଜାତି, ଧର୍ମ, ସଂପ୍ରଦାୟ ନିର୍ବିଶେଷରେ ଏହା ସମସ୍ତଙ୍କୁ ନିଜର କରିପାରିଛି। ଆମ ଓଡ଼ିଶା ନବୀନ ଓଡ଼ିଶା କାର୍ଯ୍ୟକ୍ରମରେ ପ୍ରତି ଗାଁ ଗାଁରେ ଜଗନ୍ନାଥ ସଂସ୍କୃତିର ସଂରକ୍ଷଣ କରାଯିବ। ପ୍ରତି ପୂଜାସ୍ଥଳୀର ବିକାଶ କରାଯିବ। ଐତିହ୍ୟସ୍ଥଳୀ ଗୁଡିକର ସଂରକ୍ଷଣ କରାଯିବ। ଆମର ଭବିଷ୍ୟତ ବଂଶଧରମାନଙ୍କ ନିମନ୍ତେ ଏସବୁ ସଂସ୍କୃତି ଓ ଐତିହ୍ୟ ସ୍ଥଳୀ ଗୁଡ଼ିକର ସଂରକ୍ଷଣ ଓ ସୁରକ୍ଷା ଜରୁରୀ ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ।

ମୁଖ୍ୟମନ୍ତ୍ରୀ କହିଥିଲେ ଯେ ଗାଁରେ ଡିଜିଟାଲ ଭିତ୍ତିଭୂମିର ବିକାଶ ଏହି ଯୋଜନାର ଅନ୍ୟତମ ଲକ୍ଷ୍ୟ। ଗାଁରେ ଇଣ୍ଟରନେଟ୍‌ ସଂଯୋଗ ମିଳିବ। ବିଜ୍ଞାନ ପାର୍କ ହେବ। ଦକ୍ଷତା ବିକାଶ କେନ୍ଦ୍ର ହେବ । ୱାର୍କ୍ସ ହେବ। ବ୍ୟାଙ୍କିଙ୍ଗ ସୁବିଧା ମିଳିବ। ଏହି କାର୍ଯ୍ୟକ୍ରମରେ ଗାଁର ପ୍ରାଥମିକ ବିଦ୍ୟାଳୟ ଗୁଡ଼ିକ ମଧ୍ୟ ସାମିଲ ହେବ। ଏହା ଆମର ଯୁବ ସମାଜ ପାଇଁ, ମା ମାନଙ୍କ ପାଇଁ, ଚାଷୀ ଭାଇ ଭଉଣୀ ମାନଙ୍କ ପାଇଁ ଓ ଛାତ୍ରଛାତ୍ରୀ ମାନଙ୍କ ପାଇଁ ଅମାପ ସୁଯୋଗ ଆଣିବ ଏବଂ ଏକ ଆଧୁନିକ, ସଶକ୍ତ, ପ୍ରଗତିଶୀଳ ତଥା ସଂସ୍କୃତି ସଚେତନ ରାଜ୍ୟ ଭାବେ ଓଡ଼ିଶାର ପରିଚୟକୁ ଆହୁରି ଉଜ୍ଜଳ କରିବ। ଏହି ନୂଆ ଓଡିଶାରେ ଆମର ଭିତ୍ତିଭୂମି ହେବ ସୁଦୃଢ ଓ ଡେଣା ହେବ ଶକ୍ତ ଏବଂ ଆକାଂକ୍ଷୀ ଓଡିଶା ପରିକଳ୍ପନା ପାଇବ ସାକାର ରୂପ ବୋଲି ମୁଖ୍ୟମନ୍ତ୍ରୀ ପ୍ରକାଶ କରିବା ସହ ଆମ ଓଡିଶା ନବୀନ ଓଡିଶା କାର୍ଯ୍ୟକ୍ରମର ସଫଳ ରୂପାୟନରେ ସମସ୍ତଙ୍କର ସହଯୋଗ କାମନା କରିଥିଲେ।

ଆଜିର କାର୍ଯ୍ୟକ୍ରମ ପାଇଁ କେନ୍ଦୁଝରର ୬ଟି ନିର୍ବାଚନମଣ୍ଡଳୀ ଓ ଭଦ୍ରକର ୫ଟି ନିର୍ବାଚନ ମଣ୍ଡଳୀରେ ଆୟୋଜିତ କାର୍ଯ୍ୟକ୍ରମରେ ବିପୁଳ ଜନସମାଗମ ହୋଇଥିଲା। ଆମ ଓଡିଶା ନବୀନ ଓଡିଶା କାର୍ଯ୍ୟକ୍ରମରେ କେନ୍ଦୁଝରର ୬ଟି ନିର୍ବାଚନ ମଣ୍ଡଳୀର ୨୯୭ଟି ଗ୍ରାମ ପଞ୍ଚାୟତର ୩୫୬୮ଟି ପ୍ରକଳ୍ପ ପାଇଁ ୧୪୮ କୋଟି ୫୦ ଲକ୍ଷ ଟଙ୍କା ମଞ୍ଜୁର କରାଯାଇଥିବା ବେଳେ, ଭଦ୍ରକ ଜିଲ୍ଲାର ୫ଟି ନିର୍ବାଚନ ମଣ୍ଡଳୀର ୨୧୮ଟି ଗ୍ରାମ ପଞ୍ଚାୟତର ୩୩୩୭ଟି ପ୍ରକଳ୍ପ ପାଇଁ ୧୦୯ କୋଟି ଟଙ୍କା ମଞ୍ଜୁର କରାଯାଇଛି।

୫ଟି ସଚିବ ଭି.କେ. ପାଣ୍ଡିଆନ ଏହି କାର୍ଯ୍ୟକ୍ରମକୁ ସଂଯୋଜନା କରିଥିଲେ। ପ୍ରତ୍ୟେକ ଜିଲ୍ଲାର ନିର୍ବାଚନ ମଣ୍ଡଳୀର ବିଭିନ୍ନ ଜନପ୍ରତିନିଧିମାନେ ଯଥା ବିଧାୟକଗଣ, ଜିଲ୍ଲାପରିଷଦ ସଭାପତି, ସଦସ୍ୟଗଣ, ସ୍ଥାନୀୟ ସରପଞ୍ଚ ପ୍ରମୁଖ ଆଭାସୀ ମାଧ୍ୟମରେ ଆଲୋଚନାରେ ଭାଗ ନେଇ ଗାଁ ଗାଁରେ ବିକାଶର ନୂଆ ପର୍ବର ଶୁଭାରମ୍ଭ ପାଇଁ ମୁଖ୍ୟମନ୍ତ୍ରୀଙ୍କ ଉଚ୍ଚପ୍ରଶଂସା କରିଥିଲେ। ମୁଖ୍ୟମନ୍ତ୍ରୀଙ୍କ କଲ୍ୟାଣମୂଳକ କାର୍ଯ୍ୟକ୍ରମ ଯୋଗୁ ଗରିବ ଓ ଅବହେଳିତ ଲୋକମାନଙ୍କ ମୁହଁରେ ଆଜି ହସ ଫୁଟିଛି ବୋଲି ସେମାନେ କହିଥିଲେ । ୫ଟି ସଚିବଙ୍କ ଗସ୍ତ ଯୋଗୁ ଜିଲ୍ଲାସ୍ତରରେ ବିକାଶ ତ୍ବରାନ୍ବିତ ହେବା ସହିତ ଅନେକ ଦିନରୁ ପଡି ରହିଥିବା ସମସ୍ୟା ଗୁଡିକ ମଧ୍ୟ ଦୂର ହୋଇଛି ବୋଲି ସେମାନେ କହିଥିଲେ।

ଆଲୋଚନାରେ ଭାଗ ନେଇ ୫ଟି ସଚିବ ଶ୍ରୀ ପାଣ୍ଡିଆନ କହିଥିଲେ ଯେ ସ୍ଥାନୀୟ ଅଞ୍ଚଳର ସମସ୍ୟା ଦୂର କରିବା ପାଇଁ ମୁଖ୍ୟମନ୍ତ୍ରୀ ସବୁବେଳେ ତତ୍ପର । ଓଡିଶାର ପ୍ରତି ଗାଁର ବିକାଶ ପାଇଁ କାମ କରିବାକୁ ସେ ଦୃଢ ନିର୍ଦ୍ଦେଶ ଦେଇଛନ୍ତି । ତାଙ୍କ ଗସ୍ତ ପରେ ମୁଖ୍ୟମନ୍ତ୍ରୀ ବିଭିନ୍ନ ଅଞ୍ଚଳ ପାଇଁ ଯେଉଁ ଯେଉଁ ପ୍ରକଳ୍ପ ସବୁ ମଞ୍ଜୁର କରିଛନ୍ତି, ସେ ସଂପର୍କରେ ଶ୍ରୀ ପାଣ୍ଡିଆନ ସୂଚନା ଦେଇଥିଲେ। ଆମ ଓଡିଶା, ନବୀନ ଓଡିଶା କାର୍ଯ୍ୟକ୍ରମରେ ଲୋକଙ୍କ ପ୍ରସ୍ତାବିତ ପ୍ରକଳ୍ପ ଓ ଆବଶ୍ୟକତାକୁ ଦେଖି ମୁଖ୍ୟମନ୍ତ୍ରୀ ଅର୍ଥ ମଞ୍ଜୁର କରିଛନ୍ତି । ଏହାକୁ ସମସ୍ତେ ସ୍ବଚ୍ଛତାର ସହ ଓ ଠିକ୍‌ ସମୟରେ ଶେଷ କରିବାକୁ ସେ ପରାମର୍ଶ ଦେଇଥିଲେ। କାର୍ଯ୍ୟକ୍ରମରେ ଉଭୟ ଜିଲ୍ଲାର ଜିଲ୍ଲାପାଳ ଧନ୍ୟବାଦ ଅର୍ପଣ କରିଥିଲେ।

Leave a Reply

Your email address will not be published. Required fields are marked *

Back to top button